୨ଦିନ ପ୍ରବଳ ବର୍ଷିବ: ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି; ଖାଦ୍ୟ, ପାନୀୟ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ Kanak News

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ସମଗ୍ର ରାଜ୍ୟରେ ଆଜି ଏବଂ କାଲି ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଆଖିରେ ରଖି ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରିଛନ୍ତି। ଏହା ସହିତ ଜିଲ୍ଲାସ୍ତରରେ ଖୋଲା ଯାଇଥିବା ନିୟନ୍ତ୍ରଣ କକ୍ଷକୁ ୨୪ ଘଣ୍ଟା ଖୋଲା ରଖି ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନର ବିଷ୍ଣୁପଦ ସେଠୀ ଗତକାଲି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଲଘୁଚାପଜନିତ ବର୍ଷା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରି ଆଶ୍ରୟସ୍ଥଳୀରେ ରଖିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଖାଦ୍ୟପାନୀୟ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ କରି ରଖିବାକୁ ଜିଲ୍ଲାପାଳମାନଙ୍କୁ ଏସ୍ଆରସି କହିଛନ୍ତି। ଜଳମଗ୍ନ ହୋଇ ପଡ଼ୁଥିବା ରାସ୍ତା ଓ ବ୍ରିଜରେ ଗାଡ଼ିମୋଟର ଚଳାଚଳ ବନ୍ଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗିର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
from Kanak News https://ift.tt/2Z8usPi https://ift.tt/2Z3b6qo


No comments: