କନକ ବ୍ୟୁରୋ : ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁସାରେ, ଓଏସଆରଟିସି ବସ ଓ ମିନି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଉଭୟ ବସର କିଛି ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଉଭୟ ବସର ସାମ୍ନାପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଚାପି ହୋଇଯାଇଛି । ସ୍ଥାନୀୟ ଲୋକେ, ପୋଲିସ ଓ ଦିଗପହଣ୍ଡି ଅଗ୍ନିଶମ ବିଭାଗର କର୍ମଚାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆହତ ଯାତ୍ରୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିିଛି । ସେପଟେ ଦୁର୍ଘଟଣା ପରେ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଯେଉଁ କାରଣରୁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା ।
The post ଦିଗପହଣ୍ଡି ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ : ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା first appeared on Kanak News.
from Kanak News https://ift.tt/594RCsV https://ift.tt/APdXhNT
No comments: