କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ସ୍ୱତନ୍ତ୍ର ପର୍ବ। ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବ ପାଳିତ ହୁଏ। ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ।
ଏହିଦିନ ମା’ ଲକ୍ଷ୍ମୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ। ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟଙ୍କୁ ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି।
ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ ପାଳନ କରିଥାନ୍ତି। ତେବେ ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ-ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି।
ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଆନ୍ତି ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି। ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ ଆଡ଼ମ୍ବର ସହ ପାଳନ କରାଯାଇଥାଏ।
ଓଡ଼ିଶାରେ କୁମାର ପୂର୍ଣ୍ଣିମା:
ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ବୋଲି କୁହାଯାଏ। ଏହିଦିନ କୁମାରୀମାନେ ଚନ୍ଦ୍ର ପୂଜା କରିବା ସହ ସନ୍ଧ୍ୟାରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି। ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ। ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା।
ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ତୁଳସୀ ଚଉରାକୁ ପୂଜା କରିଥାନ୍ତି।
ପାଳନ ବିଧି:
ଏହି ଦିନ କୁମାରୀମାନେ ଭୋର୍ରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପିନ୍ଧନ୍ତି। ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି। ଏହି ବିଧିକୁ ଆଞ୍ଜୁଳା ଟେକା ବିଧି କୁହାଯାଏ। ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି। ଏହିଦିନ କୁମାରୀ ତଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି।
ଅଳତା ହେଉଛି ଭାରତୀୟ ପରମ୍ପରାରେ ଅହିସୁଲକ୍ଷଣୀ ହେବାର ପ୍ରତୀକ। ପ୍ରତ୍ୟକ ପୂଜା ପର୍ବରେ ଭାରତୀୟ ନାରୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘ ଜୀବନ କାମନା କରିଥାନ୍ତି। ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନ ବସ୍ତ୍ର ପିନ୍ଧି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି।
କିପରି ହୁଏ ପ୍ରସ୍ତୁତି:
କୁମାର ପୂର୍ଣ୍ଣିମାର କିଛିଦିନ ପୂର୍ବରୁ ଚଉରାକୁ ଭଲ ଭାବରେ ସଫା କରି ରଙ୍ଗ କରାଯାଇଥାଏ। କୁମାର ପୂର୍ଣ୍ଣିମା ଦିନ ସନ୍ଧ୍ୟାରେ ଚଉରା ଆଗରେ ମୁରୂଜରେ ବିଭିନ୍ନ ପ୍ରକାର ଚିତ୍ର କରାଯାଇଥାଏ ଓ ଚଉରାକୁ ଫୁଲ ଓ ସିନ୍ଦୁରରେ ସଜାଯାଇଥାଏ।
ଚଉରାକୁ ସଜାଇବାରେ ମୁଖ୍ୟତଃ କଇଁ ଫୁଲ ବ୍ୟବହାର କରାଯାଇଥାଏ। ଚନ୍ଦ୍ର ଉଦୟ ହେଲେ କଇଁ ଫୁଟିଥାଏ। ଏହି ପର୍ବରେ ଚନ୍ଦ୍ରଙ୍କ ପୂଜା କରାଯାଉଥିବାରୁ ଏଥିରେ କଇଁ ଫୁଲ ବିଶେଷ ଭାବରେ ବ୍ୟବହୃତ ହୋଇଥାଏ। ଏହିଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସହ ନୂଆ ବସ୍ତ୍ର ମଧ୍ୟ ଦିଆଯାଇଥାଏ।
ଚଉରା ଆଗରେ ପିଢ଼ାରେ ଗୁଆ ରଖି ତା' ଉପରେ ଦୁବ, ବରକୋଳି, ଫୁଲ ପତ୍ର ଦେଇ ସଜାଯାଇଥାଏ। ଚଉରା ପାଖରେ ସ୍ଥାପନ କରାଯାଇଥିବା କଳସରେ ଆମ୍ବଡାଳ, ଗୁଆ, ସିନ୍ଦୁର, ଚନ୍ଦନ ଇତ୍ୟାଦି ଦେଇ ସଜାଯାଇଥାଏ।
କ’ଣ ହୁଏ ଭୋଗ:
ଭୋଗ ପାଇଁ ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ତାଳସଜ, ମହୁ, ଅଦା, ଘିଅ, ଆଖୁ, ଗଜା ମୁଗ, ସେଓ, ଚିନି ଇତ୍ୟାଦି ପଡ଼ି ଏକ ଚକଟା ପ୍ରସ୍ତୁତ କରାଯାଇଥାଏ। ଏହି ଚକଟାକୁ ଚାନ୍ଦ ଚକଟା କୁହାଯାଏ। ଏହି ପର୍ବରେ ତିଆରି କରାଯାଉଥିବା ମଣ୍ଡା ପିଠା ଓଡ଼ିଶାର ମୁଖ୍ୟ ଆକର୍ଷଣମାନଙ୍କ ମଧ୍ୟରୁ ଅନ୍ୟତମ। ପୂଜା ସମୟରେ ଚାନ୍ଦ ଚକଟା ଓ ମଣ୍ଡା ପିଠା ଭୋଗ ଚଉରା ଏବଂ ଚନ୍ଦ୍ରଙ୍କୁ ଅର୍ପଣ କରି ଶଙ୍ଖ ଓ ହୁଳହୁଳି ସହ ଦୀପରେ ବନ୍ଦାପନାଯାଏ।
ଆନନ୍ଦ ଉଲ୍ଲାସ:
ଯେଉଁ ଘରେ କୌଣସି କୁମାରୀ କନ୍ୟା ନ ଥାନ୍ତି, ସେ ଘରେ ବିବାହିତା ସ୍ତ୍ରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି କାମନା କରି ଚଉରା ଓ ଚନ୍ଦ୍ର ପୂଜା କରିଥାନ୍ତି। ପୂଜା ସରିଲା ପରେ ଭୋଗ ଖାଇ କୁମାରୀ କନ୍ୟାମାନେ ନିଜର ସାରା ଦିନର ଉପବାସ ଭାଙ୍ଗିଥାନ୍ତି।
ଏହିଦିନ ଗାଁ ଗହଳିର ଝିଅମାନେ ‘କୁଆଁର ପୁନେଇ’ ଗୀତ ଗାଇ ଓ ପୁଚି ଖେଳି ଆନନ୍ଦ ନେଇଥାନ୍ତି। ସେହିପରି ପୁଅମାନେ ପଶା ଓ ତାସ୍ ଖେଳି ମନୋରଞ୍ଜନ କରିଥାନ୍ତି। କେତେକ ଅଞ୍ଚଳରେ ଏହି ଦିନ ଘରର ଜ୍ୱାଇଁମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାରର ଉପହାର ଦିଆଯାଇଥାଏ। ଭାଦ୍ରବ ପୂର୍ଣ୍ଣିମା ବା ଇନ୍ଦୁ ପୂର୍ଣ୍ଣିମାଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ କୁମାରୀ କନ୍ୟାମାନେ ଏକାଠି ହୋଇ ଜହ୍ନି ଓଷା କରନ୍ତି। ଏହି ଓଷାର ଉଦ୍ଯାପନ କୁମାର ପୂର୍ଣ୍ଣିମା ଦିନ ହୋଇଥାଏ।
from Latest Odisha News, Breaking News Today | Top Updates on Corona - OTV News https://ift.tt/x7LaViv
No comments: